December 6, 2025 8:58 pm

ଆଜି ସୃଷ୍ଟି ହେବ ଲଘୁଚାପ ! ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି । ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଶୁକ୍ରବାର (୨୫ ତାରିଖ) ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ଭୀଷଣ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶନିବାର (୨୬ ତାରିଖ) ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୭ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।